କରୋନା ମୁକାବିଲା : ୪ ଜିଲ୍ଲାରେ ସରକାରଙ୍କ ରହିବ ଅଧିକ ଫୋକସ୍
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେଣୁ କୋଭିଡ଼ ପରିଚାଳନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପଇସା ଅଭାବରୁ କେହି ବି କୋଭିଡ଼ ରୋଗୀ ଚିକିତ୍ସାରୁ ବଞ୍ଚିତ ହେବେନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ଼ ରୋଗୀଙ୍କୁ ସମସ୍ତ ସୁବିଧା ଯୋଗାଯାଉଛି । ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ସ୍ୱେଚ୍ଛାକୃତ ଭାବେ ଟେଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେ ଆହୁରି କହିଛନ୍ତି ଯେ,ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି। ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି। ଏହାଦ୍ବାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ସେ କହିଛନ୍ତି।
ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି। ଏଥିସହିତ ରୋଗୀମାନଙ୍କୁ ମେଡିସିନ୍ କିଟ୍ ଓ ଟେଲି ମେଡିସିନ ଯୋଗେ ଡାକ୍ତରୀ ସୁବିଧା ଯୋଗାଇ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ଖୋର୍ଦ୍ଧା, ସୁନ୍ଦରଗଡ, କଟକ ଓ ଯାଜପୁର ଜିଲ୍ଲାଗୁଡିକ ଉପରେ ଅଧିକ ଧ୍ୟାନ ଦେବାଲାଗି ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ ଜିଲ୍ଲା ସ୍ତରରେ ପ୍ଲାଜମା ଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା, ଯାଜପୁର, ଜଗତସିଂପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାର କୋଭିଡ୍ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲ୍ଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, 5Tଟି ସଚିବ, E&IT ବିଭାଗ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।