ଆଗାମୀ ତିନିବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବାଲେଶ୍ୱରରୁ ବସ୍ତି ଉନ୍ନତିକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସ୍ତିବାସିନ୍ଦାଙ୍କୁ ଭୂମି ଯୋଗ୍ୟତା ପ୍ରମାଣପତ୍ର ବଣ୍ଟନ କରାଯାଇଛି । ଭୂମି ଯୋଗ୍ୟତା ପ୍ରମାଣପତ୍ର ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ବରର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି । ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ। ଗରିବ ଲୋକଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ପାଇଁ ସେ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। ଜାଗା ମିଶନର ନିର୍ଦ୍ଦେଶକ ସଂଗ୍ରାମଜିତ୍ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।
୧ଲକ୍ଷରୁ ଅଧିକ ବସ୍ତି ବାସିନ୍ଦାଙ୍କୁ ମିଳିଛି ଭୂମି ଯୋଗ୍ୟତା ପ୍ରମାଣପତ୍ର । ଏହା ସହ ୨୯୨୯ଟି ବସ୍ତିରେ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୧୬ଟି ବହୁମୁଖୀ ଗୋଷ୍ଠୀକେନ୍ଦ୍ର ‘ପରିଚୟ’ର ଲୋକାପର୍ଣ ମଧ୍ୟ କରିଛନ୍ତି ନବୀନ ।
ସେ କହିଛନ୍ତି ଯେ, ‘ଆଗାମୀ ୩ ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ । ସହରର ବିକାଶ ଓ କୋଭିଡ ଲଢେଇରେ ଆଗରେ ରହିଛନ୍ତି ବସ୍ତିବାସିନ୍ଦା ।’