ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍) :ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୩ ତାରିଖରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ଶୁକ୍ରବାର ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏନେଇ ୨୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି କୁହାଯାଇଛି । ଅନ୍ୟପଟେ ବିଶେଷକରି ୫ଟି ଜିଲ୍ଲା କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କନ୍ଧମାଳ ଓ ସମ୍ବଲପୁରରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଆସନ୍ତା ୧୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁରର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ସେହିପରି ସେପ୍ଟେମ୍ବର ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ କଳାହାଣ୍ଡି ଜିଲ୍ଲାରେ ଭୀଷଣ ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।