ଆସନ୍ତା ଜାନୁଆରୀ ୮ରୁ ଖୋଲିବ ସ୍କୁଲ, ଏପ୍ରିଲ୍ ୨୬ ଯାଏଁ ହେବ କ୍ଲାସ୍
ଭୁବନେଶ୍ବର, (ଓଡିଶା ଟାଇମ୍) :କୋଭିଡ୍ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି। ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା
ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ। ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି।
ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କର ପାଠପଢ଼ା ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ। ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ୍ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବ। ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।