୨୪ଘଣ୍ଟାରେ ଓଡିଶା ଛୁଇଁବ ମୌସୁମୀ : ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ଵର, (ଓଡିଶା ଟାଇମ୍) : ଆସନ୍ତା ଦୁଇଦିନ ରାଜ୍ୟରେ ଲାଗି ରହିବ ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହୋଇପାରେ । ସେପଟେ ଶୁକ୍ରବାର ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ରହିଛି । ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଏଚ୍.ଆର୍.ବିଶ୍ବାସ କହିଛନ୍ତି, ମୌସୁମୀ ଶୁକ୍ରବାର ସୁଦ୍ଧା ଓଡ଼ିଶା ଛୁଇଁଯିବ ବୋଲି ୯୦ ପ୍ରତିଶତ ସମ୍ଭାବନା ରହିଛି । ଦକ୍ଷିଣ ଓଡିଆରେ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ଦୁଇଦିନ ରାଜ୍ୟରେ ଭଲ ବର୍ଷା ହେବ । ୧୩ ତାରିଖ ସକାଳ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବର୍ଷା କମ୍ ହେବ । ହେଲେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗୁରୁବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି । ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ତାରିଖରେ ମଧ୍ୟ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି ।